‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ’:ମୁଖ୍ୟମନ୍ତ୍ରୀ‘
‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ’:ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦରରୁ ସିଧା ଏମ୍ସକୁ ଯାଇଥିଲେ। ସେଠାରେ ପୀଡ଼ିତାଙ୍କ ବାପାମା’ଙ୍କୁ ଭେଟି ସାନ୍ତ୍ବନା ଦେବା ସହ ଛାତ୍ରୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ
ଭୁବନେଶ୍ବର୧୪-୦୭-୨୦୨୫( ଏସ .ଏମ ) : ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିବା ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ନିନ୍ଦା କରିଛନ୍ତି। ଆଜି ନୂଆଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦରରୁ ସିଧା ଏମ୍ସକୁ ଯାଇଥିଲେ। ସେଠାରେ ପୀଡ଼ିତାଙ୍କ ବାପାମା’ଙ୍କୁ ଭେଟି ସାନ୍ତ୍ବନା ଦେବା ସହ ଛାତ୍ରୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ କମିଟି ଗଠନ କରାଯାଇଛି। କମିଟି ରିପୋର୍ଟ ଦେବା ପରେ ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାସହ ଆଗାମୀ ଦିନରେ କୌଣସି ଶିକ୍ଷାନୁଷ୍ଠାନରେ ଏଭଳି ଘଟଣା ଯେମିତି ନ ଘଟେ, ସେ ଦିଗରେ ମଧ୍ୟ ପଦକ୍ଷେପ ନିଆଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଲେ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବ। ରାଜ୍ୟ ସରକାର ଛାତ୍ରୀଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ବିଧାୟକ ବାବୁ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।